ଆଜିଠୁ ନିର୍ଦ୍ଧୁମ ଛେଚିବ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ । ଲଘୁଚାପ ପ୍ରଭାବରେ ଶନିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଅକ୍ଟୋବର ୩ ତାରିଖ ଯାଏ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ଯୋଗୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଗାମୀ ତିନିଦିନ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ୩୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୨୦୦ମିମି ଯାଏ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।
ସେହିଭଳି ୧ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୨ ଓ ୩ ତାରିଖରେ ବି ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।