ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ନବୀନ ଓଡିଶା ବ୍ଯୂର: ପୁରୀ : ମାର୍ଗଶୀର କୃଷ୍ଣ ଦ୍ୱାଦଶୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜୀଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ଅର୍ଥାତ୍ ୫ ଘଣ୍ଟା ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।