ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି

ଭୁବନେଶ୍ୱର: ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି। ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ୟ୍ୟନ୍ତ କାର୍ତ୍ତିକ ମାସ ନୀତି ପାଳନ କରାଯାଇଥାଏ। ଏହି ମାସରେ ଦୈନନ୍ଦିନ ନୀତି ବ୍ୟତୀତ ସ୍ୱତନ୍ତ୍ର ଭାବେ ଶ୍ରୀବିଗ୍ରହମାନଙ୍କର ରାଧା ଦାମୋଦର ବେଶ, ପଞ୍ଚୁକ ବେଶ,ବାଳଧୂପ, ଦିବା ପହୁଡ଼ ଇତ୍ୟାଦି ଅନୁଷ୍ଠିତ ହୋଇଥାଏ। ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ୟ୍ୟନ୍ତ ରତ୍ନ ସିଂହାସନରେ ଅଧିଷ୍ଠିତ ଶ୍ରୀବିଗ୍ରହମାନଙ୍କର ଆକର୍ଷଣୀୟ ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ।
ଏହି ମନଲୋଭା ବେଶ ଦର୍ଶନ କରିବାକୁ ଶ୍ରୀମନ୍ଦିର ଜଗମୋହନରେ ପ୍ରବଳ ଜନସମାଗମ ହୋଇଥାଏ। ଶ୍ରୀବିଗ୍ରହମାନଙ୍କ ରାଧା ଦାମୋଦର ବେଶ ଥାଇ ବାଳଧୂପ ନୀତି ଅନୁଷ୍ଠିତ ହୋଇଥାଏ। ସକାଳ ଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା, ଖଇ, ନଡ଼ିଆ ଖୁଦି, ଚାଉଳିଆ, ସେଓ, କମଳା, କଦଳୀ, କାକୁଡ଼ି, ପଇଡ ଇତ୍ୟାଦି ଭୋଗ ହୋଇଥାଏ। ବାଳଧୂପ ସମୟରେ ପରମ୍ପରା ଅନୁଯାୟୀ ବଡ଼ଛତା ମଠ ତରଫରୁ ବାଦ୍ୟ, ପାରମ୍ପରିକ ସଙ୍ଗୀତ ଗାନ ସମେତ ରାଧାକାନ୍ତ ମଠ ତରଫରୁ ସଂକୀର୍ତ୍ତନ କରାଯାଇଥାଏ।